ଭୁବନେଶ୍ୱର: ସଂପ୍ରତି ବଙ୍ଗୋପସାଗରର କେନ୍ଦ୍ରୀୟ ଉପକୂଳରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପଟି ସ୍ପଷ୍ଟ ଚିହ୍ନିତ ହେବା ସହ ଅଧିକ ଘନୀଭୂତ ହେବ ଏବଂ ଏହାର ଗତିପଥ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ତେବେ ଏହି ଲଘୁଚାପ ପ୍ରଭାବରେ ତମାମ ରାଜ୍ୟରେ ଆସନ୍ତା ୧୮ ତାରଖରୁ ୨୧ ତାରଖ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇ ଦେଇଛି।

ଏହାର ପ୍ରଭାବରେ ୧୮ ତାରିଖରେ ଦକ୍ଷିଣ ଉପକୂଳ, ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଉପକୂଳ ଏବଂ ଉତ୍ତର ଆଭ୍ୟନ୍ତରରୀଣ ଓଡିଶାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୧୯ ଅକ୍ଟୋବରରେ ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡା, ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅକ୍ଟୋବର ୨୦ ଓ ୨୧ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶା, ରାୟାଗଡା, ମାଲକାନଗିରି, କୋରାପୁଟ ଏବଂ ଦକ୍ଷିଣ ଓଡ଼ିଶାର ଅବଶିଷ୍ଟ ଜିଲ୍ଲା, ଉତ୍ତର ଉପକୂଳ ଓଡିଶାର ଜିଲ୍ଲା ତଥା ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କୋରାପୁଟ, ରାୟାଗଡା, ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

The post ୧୯ରେ ବଙ୍ଗୋପସାଗରରେ ଲଘୁଚାପ: ପ୍ରବଳ ବର୍ଷା ଆଶଙ୍କା first appeared on Sambad.



from ଜିଲ୍ଲା – Sambad https://ift.tt/2HeceVe