୨୪ ଘଣ୍ଟା ମଧ୍ୟରେ ଏହି ୨୧ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା, ଗଜପତି ଜିଲ୍ଲା ତଥା ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଉପରେ କିଛି ସ୍ଥାନରେ ଏବଂ ଓଡିଶାର ବାକି ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଜାରି ସତର୍କ ସୂଚନା ମତାବକ ଆଜି (୧ ଜୁନ୍‌, ମଙ୍ଗଳବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୨ ଜୁନ୍‌, ବୁଧବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ସୁନ୍ଦରଗଡ, ବରଗଡ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଏଥିସହ ଆସନ୍ତା ଜୁନ୍‌ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

The post ୨୪ ଘଣ୍ଟା ମଧ୍ୟରେ ଏହି ୨୧ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି first appeared on Sambad.

from ଜିଲ୍ଲା | Sambad https://ift.tt/2SGFOZ4

Post a Comment

0 Comments